#Breaking News

ଶ୍ରୀ ବିଗ୍ରହଙ୍କ ସୁନାବେଶ ଅନୁଷ୍ଠିତ

*ପୁରୀ (ଉଲାପ୍ର)ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନା ବେଶ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ । ମହାପ୍ରଭୁଙ୍କ ସକଳ ବେଶରେ ମାଧୁର୍ଯ୍ୟ ଲାବଣ୍ୟ ପ୍ରକଟିତ ହେଉଥିବା ସ୍ଥଳେ, କେବଳ ସୁନା ବେଶରେ ଐଶ୍ଵର୍ଯ୍ୟ ପ୍ରାବଲ୍ୟ ପରିସ୍ଫୁଟ ହୋଇଥାଏ। ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀବିଗ୍ରହମାନେ ବିଭିନ୍ନ ତିଥିରେ ଯଥା : କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା, ଦଶହରା ପ୍ରଭୃତି ଦିବସମାନଙ୍କରେ ରାଜବେଶ, ରାଜା ରାଜେଶ୍ଵର ଇତ୍ୟାଦି ସୁନାବେଶରେ ସଜ୍ଜିତ *ହେଉଥିଲେ ହେଁ ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ଵାରଠାରେ ଦଣ୍ଡାୟମାନ ଥିବା ତ୍ରିରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ ଦର୍ଶନ ଦେଇଥାନ୍ତି ।ଏହି ସୁନାବେଶ ପ୍ରଚଳନର* ଇତିହାସ ସମ୍ପର୍କରେ ଜଣାଯାଏ ଯେ, ଓଡ଼ିଆ ଜାତିର ପରମାରାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ର ଦେବତା ରୂପେ ସ୍ଵୀକାର କରି ଏ ରାଜ୍ୟର ରାଜା ମହାରାଜାମାନେ ସ୍ଵୟଂ ରାଉତ ବା ଆଦେଶ ବାହକ ରୂପେ ମହାପ୍ରଭୁଙ୍କ ସେବା ନିର୍ବାହ କରିଥିବା ପ୍ରମାଣ

ଶିଳାଲେଖରୁ ମିଳୁଅଛି। ତୃତୀୟ ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଜଗନ୍ନାଥଙ୍କୁ ଉତ୍କଳର ପ୍ରକୃତ ରାଜା ଓ ନିଜକୁ ତାଙ୍କର ଜନୈକ ଅକିଞ୍ଚନ ସେବକ ଭାବେ ସର୍ବପ୍ରଥମେ ଘୋଷଣା କରିଥିଲେ। ପରେ ତାଙ୍କ ପୁତ୍ର ଭାବେ ଲାଙ୍ଗୁଳା ନରସିଂହ ଦେବ (୧୨୩୮- ୧୨୬୬) ମଧ୍ୟ ନିଜକୁ ପୁରୁଷୋତ୍ତମ ପୁତ୍ର ଭାବେ ଅଭିହିତ କରିଥିଲେ। ଭାନୁଦେବ ତୃତୀୟ (୧୩୦୮-୧୩୨୮) ଜଗନ୍ନାଥଙ୍କୁ ରାଜାଧିରାଜ ରୂପେ ସ୍ଵୀକାର କରି ମହାପ୍ରଭୁଙ୍କ ନାମରେ ଅଙ୍କ ଗଣନା ଆରମ୍ଭ କରିଥିଲେ।
ସୂର୍ଯ୍ୟବଂଶୀ ରାଜା କପିଳେନ୍ଦ୍ର ଦେବ (୧୪୩୫-୧୪୬୬) ଜଗନ୍ନାଥଙ୍କୁ ଜାତୀୟ ଦେବତା ରୂପେ ପ୍ରଚାରିତ କରି ନିଜକୁ ତାଙ୍କର ସେବକ ଭାବେ ସ୍ଵୀକାର କରିଥିଲେ । ଏପରିକି ଅନଙ୍ଗଭୀନ ଦେବ ଓ ପୁରୁଷୋତ୍ତମ ଦେବ ଜଗନ୍ନାଥଙ୍କୁ ଓଡ଼ିଶାର ରାଜା ରୂପେ ମାନ୍ୟତା ପ୍ରଦାନ ପୂର୍ବକ ଉଭୟ ଦୁଇବର୍ଷ ଧରି ଅଭିଷେକ ହୋଇନଥିଲେ । କେତେକ ଗବେଷକଙ୍କ ମତରେ ରଥ ଉପରେ ଠାକୁରମାନଙ୍କ ଏହି ବେଶର ନାମ ବଡ଼ ବଢା଼ଉ ବେଶ । ବଡ଼ତଢାଉ ବେଶ ମତରେ କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ ı
ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ଵାରସ୍ଥିତ ଶିଳାଲେଖରେ ସୂଚନା ରହିଛି।ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ *କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ *ସିଂହଦ୍ଵାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁରାଜା ଅନୁମତି ଦେଇଥିଲେ ।
ପ୍ରତିବର୍ଷ ଆଷାଢ଼ ଶୁକ୍ ଏକାଦଶୀ ଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସୁନା ବେଶ ଅନୁଷ୍ଠିତ ହୋଇଥାଏ । ଏହି ସୁନା ବେଶ ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୋଲିସ, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନି ରଥ ଉପରକୁ ଆସିଥାଏ । ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି।

Leave a comment

Your email address will not be published. Required fields are marked *